ରାଜ୍ୟ

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଡ଼ି ହୋଇଛନ୍ତି। ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିଧାୟକ ସୁରେଶ ରାଉତରାୟ, ଅନନ୍ତ ନାରାୟଣ ଜେନା, ରାଜ୍ୟସଭା ସାଂସଦ ସୁଲତା ଦେଓ ପ୍ରମୁଖ ଉପସ୍ଥିତ ଅଛନ୍ତି।

ADVERTISEMENTଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ। ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ୭ ଘଣ୍ଟା ୪୫ ମିନିଟରେ ୫୦୫ କିଲୋମିଟର ଦୂରତା ଅତିକ୍ରମ କରିବ। ଟ୍ରେନ୍ ସଂଖ୍ୟା ୨୦୮୩୬ ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ ୦୫ ଘଟିକାରେ ଯାତ୍ରା ଆରମ୍ଭ କରିବ ଏବଂ ସେହି ଦିନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ସେହିପରି ରାଉରକେଲାରୁ ଦିନ ୨ଟା୧୦ରେ ଛାଡି ସେହି ଦିନ ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ | ଏହି ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନମାନଙ୍କରେ ରହିବ। ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ବିଶେଷତ୍ୱ ରହିଛି। ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡ଼ିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ। ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବା ସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ।

Leave a Reply

Your email address will not be published. Required fields are marked *